﻿ଆୟୁବ.
24.
କାହିଁକି ସର୍ବଶକ୍ତିମାନଙ୍କ ଦ୍ୱାରା ସମୟ ନିରୂପିତ ହୋଇ ନାହିଁ ଓ ତାହାଙ୍କୁ ଜାଣିବା ଲୋକମାନେ କାହିଁକି ତାହାଙ୍କ ଦିନ ଦେଖନ୍ତି ନାହିଁ? 
କେହି କେହି ଭୂମିର ସୀମାଚିହ୍ନ ଘୁଞ୍ଚାନ୍ତି, ସେମାନେ ବଳରେ ମେଷପଲ ହରଣ କରି ଚରାନ୍ତି। 
ସେମାନେ ପିତୃହୀନର ଗର୍ଦ୍ଦଭ ଅଡ଼ାଇ ନିଅନ୍ତି, ବିଧବାର ଗୋରୁ ବନ୍ଧକ ରୂପେ ନିଅନ୍ତି। 
ସେମାନେ ଦୀନହୀନକୁ ବାଟରୁ ତଡ଼ି ଦିଅନ୍ତି; ଦେଶସ୍ଥ ଦରିଦ୍ରମାନେ ଏକତ୍ର ଲୁଚନ୍ତି। 
ଦେଖ, ସେମାନେ ପ୍ରାନ୍ତରସ୍ଥ ବନ୍ୟ ଗର୍ଦ୍ଦଭ ତୁଲ୍ୟ ଆପଣା ଆପଣା କାର୍ଯ୍ୟରେ ବାହାରି ଯତ୍ନପୂର୍ବକ ଆହାର ଅନ୍ଵେଷଣ କରନ୍ତି; ଅରଣ୍ୟ ସେମାନଙ୍କ ବାଳକଗଣ ନିମନ୍ତେ ଆହାର ଉତ୍ପନ୍ନ କରେ। 
ସେମାନେ କ୍ଷେତ୍ରରେ ଆପଣାମାନଙ୍କ ଖାଦ୍ୟ କାଟନ୍ତି ଓ ଦୁଷ୍ଟର ଦ୍ରାକ୍ଷାକ୍ଷେତ୍ରର ଅବଶିଷ୍ଟ ଫଳ ସାଉଣ୍ଟନ୍ତି। 
ସେମାନେ ସାରାରାତ୍ରି ବସ୍ତ୍ର ବିନା ଉଲଙ୍ଗ ହୋଇ ଶୟନ କରନ୍ତି ଓ ଶୀତକାଳରେ ସେମାନଙ୍କର ଆଚ୍ଛାଦନ ବସ୍ତ୍ର ନ ଥାଏ। 
ସେମାନେ ପର୍ବତରେ ବୃଷ୍ଟିରେ ତିନ୍ତନ୍ତି, ପୁଣି ଆଶ୍ରୟ ଅଭାବରୁ ଶୈଳରେ ଶରଣ ନିଅନ୍ତି। 
କେହି କେହି ପିତୃହୀନକୁ ମାତୃସ୍ତନରୁ ଛଡ଼ାଇ ନିଅନ୍ତି ଓ ଦରିଦ୍ରଠାରୁ ବନ୍ଧକ ନିଅନ୍ତି; 
ଏହେତୁ ସେମାନେ ବସ୍ତ୍ର ବିନା ଉଲଙ୍ଗ ହୋଇ ବୁଲନ୍ତି ଓ କ୍ଷୁଧିତ ହୋଇ ଶସ୍ୟବିଡ଼ା ବହନ୍ତି; 
ସେମାନେ ଏହି ଲୋକମାନଙ୍କ ପ୍ରାଚୀର ଭିତରେ ତୈଳ ପ୍ରସ୍ତୁତ କରନ୍ତି ଓ ସେମାନଙ୍କ ଦ୍ରାକ୍ଷାଯନ୍ତ୍ର ଦଳି ତୃଷିତ ହୁଅନ୍ତି। 
ଜନପୂର୍ଣ୍ଣ ନଗରରୁ ଲୋକେ କାତରୋକ୍ତି କରନ୍ତି, ଆହତ ଲୋକର ପ୍ରାଣ ଡାକ ପକାଏ; ତଥାପି ପରମେଶ୍ୱର ଏହା ଦୋଷ ରୂପେ ଗଣନା କରନ୍ତି ନାହିଁ। 
ସେମାନଙ୍କର କେହି କେହି ଆଲୁଅର ବିଦ୍ରୋହୀ; ତହିଁର ମାର୍ଗ ସେମାନେ ଜାଣନ୍ତି ନାହିଁ, ଅବା ତହିଁର ପଥରେ ରହନ୍ତି ନାହିଁ। 
ହତ୍ୟାକାରୀ ପ୍ରଭାତ ସମୟରେ ଉଠି ଦରିଦ୍ର ଓ ଦୀନହୀନକୁ ବଧ କରେ ଓ ରାତ୍ରିରେ ସେ ଚୋର ପରି ହୁଏ। 
ପାରଦାରିକର ଚକ୍ଷୁ ମଧ୍ୟ ସନ୍ଧ୍ୟାକାଳର ଅପେକ୍ଷା କରି କହେ, କେହି ମୋତେ ଦେଖିବ ନାହିଁ ଓ ସେ ଆପଣା ମୁଖ ଅନ୍ୟ ରୂପ କରେ। 
ସେମାନେ ଅନ୍ଧକାରରେ ଗୃହ ସିନ୍ଧି କରନ୍ତି; ସେମାନେ ଦିନ ବେଳେ ଲୁଚି ରହନ୍ତି, ସେମାନେ ଆଲୁଅ ଜାଣନ୍ତି ନାହିଁ। 
କାରଣ ସେସମସ୍ତଙ୍କ ପ୍ରତି ପ୍ରଭାତ ମୃତ୍ୟୁଚ୍ଛାୟା ପରି ଅଟେ; ସେମାନେ ମୃତ୍ୟୁୁଚ୍ଛାୟାର ଭୟାନକତା ଜାଣନ୍ତି।” 
“ସେ ଜଳ ଉପରେ ଶୀଘ୍ରଗାମୀ; ଦେଶରେ ସେମାନଙ୍କ ଅଧିକାର ଅଭିଶପ୍ତ ଅଟେ; ସେ ଦ୍ରାକ୍ଷାକ୍ଷେତ୍ରର ପଥ ଆଡ଼କୁ ଫେରେ ନାହିଁ। 
ଯେପରି ଅନାବୃଷ୍ଟି ଓ ଗ୍ରୀଷ୍ମ ହିମଜଳକୁ, ସେପରି ପାତାଳ ପାପୀମାନଙ୍କୁ ନଷ୍ଟ କରେ। 
ଗର୍ଭ ତାହାକୁ ପାସୋରି ଯିବ; କୀଟ ସୁସ୍ୱାଦୁ ଭକ୍ଷ୍ୟ ପରି ତାହାକୁ ଖାଇବ, ସେ ଆଉ ସ୍ମରଣ କରାଯିବ ନାହିଁ; ପୁଣି, ଅଧର୍ମ ବୃକ୍ଷ ପରି ଭଙ୍ଗାଯିବ। 
ସେ ନିଃସନ୍ତାନା ବନ୍ଧ୍ୟାକୁ ଗ୍ରାସ କରେ ଓ ବିଧବାର ମଙ୍ଗଳ କରେ ନାହିଁ। 
ସେ ଆପଣା ଶକ୍ତିରେ ବିକ୍ରମୀ ଲୋକକୁ ମଧ୍ୟ ଟାଣି ପକାଏ, ସେ ଉଠିଲେ କାହାରି ଜୀବନର ସ୍ଥିରତା ନ ଥାଏ। 
ପରମେଶ୍ୱର ସେମାନଙ୍କୁ ନିରାପଦରେ ରହିବାକୁ ଦିଅନ୍ତି ଓ ସେମାନେ ତହିଁରେ ନିର୍ଭର ରଖନ୍ତି ଓ ତାହାଙ୍କ ଦୃଷ୍ଟି ସେମାନଙ୍କ ମାର୍ଗରେ ଥାଏ। 
ସେମାନେ ଉନ୍ନତ ହୁଅନ୍ତି; ତଥାପି ଅଳ୍ପ କାଳରେ ଅନ୍ତର୍ହିତ ହୁଅନ୍ତି; ହଁ, ସେମାନେ ଅବନତ ହୁଅନ୍ତି, ସେମାନେ ଅନ୍ୟ ସମସ୍ତଙ୍କ ପରି ପଥରୁ ଘେନାଯାʼନ୍ତି, ଆଉ ଶସ୍ୟଶିଁଷାର ଅଗ୍ରଭାଗ ପରି କଟାଯାʼନ୍ତି। 
ପୁଣି, ବର୍ତ୍ତମାନ ଯଦି ଏପରି ନ ହୁଏ, ତେବେ କିଏ ଆମ୍ଭକୁ ମିଥ୍ୟାବାଦୀ ବୋଲି ପ୍ରମାଣ କରିବ ଓ ଆମ୍ଭ କଥାକୁ ନିରର୍ଥକ କରିବ?” 
