﻿ଆୟୁବ.
31.
ମୁଁ ଆପଣା ଚକ୍ଷୁ ସଙ୍ଗେ ନିୟମ କଲି; ତେବେ ମୁଁ ଯୁବତୀ ପ୍ରତି କିପରି ଅନାଇବି? 
କାରଣ ଊର୍ଦ୍ଧ୍ୱସ୍ଥ ପରମେଶ୍ୱରଙ୍କଠାରୁ ପ୍ରାପ୍ତ ଅଂଶ କଅଣ ଓ ଉପରିସ୍ଥ ସର୍ବଶକ୍ତିମାନଙ୍କଠାରୁ ପ୍ରାପ୍ତ ଅଧିକାର କଅଣ? 
ତାହା କି ଅଧାର୍ମିକମାନଙ୍କ ପ୍ରତି ବିପଦ ଓ ଅଧର୍ମାଚାରୀମାନଙ୍କ ପ୍ରତି ଦୁର୍ଗତି ନୁହେଁ? 
ସେ କି ମୋହର ମାର୍ଗସବୁ ଦେଖନ୍ତି ନାହିଁ ଓ ମୋହର ପାଦଗତି ଗଣନ୍ତି ନାହିଁ? 
ଯଦି ମୁଁ ଅସାରତାରେ ଗତାୟାତ କରିଥାଏ ଓ ମୋହର ପାଦ ପ୍ରବଞ୍ଚନା-ପଥରେ ବ୍ୟଗ୍ର ହୋଇଥାଏ; 
ତେବେ ମୁଁ ଧର୍ମ ନିକ୍ତିରେ ତୌଲାଯାଏ, ତହିଁରେ ପରମେଶ୍ୱର ମୋହର ସରଳତା ଜାଣି ପାରିବେ। 
ଯଦି ମୋହର ପାଦ ବିପଥରେ ଯାଇଥାଏ ଓ ମୋହର ଅନ୍ତଃକରଣ ମୋʼ ଚକ୍ଷୁ ଅନୁସାରେ ଚାଲିଥାଏ ଓ ଯଦି ମୋʼ ହସ୍ତରେ କୌଣସି କଳଙ୍କ ଲାଗିଥାଏ; 
ତେବେ ମୁଁ ବୁଣେ ଓ ଅନ୍ୟ ଭୋଗ କରୁ; ମୋʼ କ୍ଷେତ୍ରର ଶସ୍ୟ ମୂଳୋତ୍ପାଟିତ ହେଉ। 
ଯଦି ମୋହର ହୃଦୟ କୌଣସି ସ୍ତ୍ରୀ ପ୍ରତି ଲୁବ୍ଧ ହୋଇଥାଏ ଓ ମୁଁ ଆପଣା ପ୍ରତିବାସୀର ଦ୍ୱାର ନିକଟରେ ଲୁଚି ବସିଥାଏ; 
ତେବେ ମୋʼ ଭାର୍ଯ୍ୟା ଅନ୍ୟର ଚକି ପେଷୁ ଓ ଅନ୍ୟମାନେ ତାହାକୁ ଭୋଗ କରନ୍ତୁ। 
କାରଣ ତାହା ଗୁରୁତର ଦୋଷ; ଆଉ, ତାହା ବିଚାରକର୍ତ୍ତୃଗଣ ଦ୍ୱାରା ଦଣ୍ଡନୀୟ ଅପରାଧ; 
କାରଣ ତାହା ସର୍ବନାଶକ ଗ୍ରାସକାରୀ ଅଗ୍ନି ଓ ମୋʼ ସର୍ବସ୍ୱର ମୂଳୋତ୍ପାଟିତ କରନ୍ତା। 
ମୋʼ ଦାସ କି ଦାସୀ ମୋʼ ସଙ୍ଗେ ବିରୋଧ କଲେ, ଯଦି ମୁଁ ସେମାନଙ୍କର ଗୁହାରି ତୁଚ୍ଛ କରିଥାଏ; 
ତେବେ ପରମେଶ୍ୱର ଉଠିଲେ, ମୁଁ କଅଣ କରିବି? ଓ ସେ ବିଚାର କଲେ, ମୁଁ ତାହାଙ୍କୁ କି ଉତ୍ତର ଦେବି? 
ଯେ ମୋତେ ଗର୍ଭରେ ନିର୍ମାଣ କଲେ, ସେ କି ତାହାକୁ ନିର୍ମାଣ କଲେ ନାହିଁ? ଓ ଏକ ବ୍ୟକ୍ତି କି ଗର୍ଭରେ ଆମ୍ଭମାନଙ୍କୁ ଗଢ଼ି ନାହାନ୍ତି? 
ଯଦି ମୁଁ ଦରିଦ୍ରମାନଙ୍କୁ ସେମାନଙ୍କ ବାଞ୍ଛିତ ବିଷୟରୁ ଅଟକାଇଥାଏ, ଅବା ବିଧବାର ଦୃଷ୍ଟି ମ୍ଳାନ କରିଥାଏ; 
ଅଥବା ଆପଣାର ଖାଦ୍ୟ ଏକା ଖାଇଥାଏ ଓ ପିତୃହୀନ ତହିଁରୁ ଖାଇ ନ ଥାଏ; 
(ମାତ୍ର ପିତା ନିକଟରେ ବଢ଼ିଲା ପରି ସେ ମୋହର ବାଲ୍ୟାବସ୍ଥାରୁ ମୋʼ ନିକଟରେ ବଢ଼ିଲା ଓ ମୋʼ ଜନ୍ମଠାରୁ ମୁଁ ବିଧବାର ପଥଦର୍ଶକ ହୋଇଅଛି।) 
ମୁଁ କାହାକୁ ବସ୍ତ୍ରାଭାବରେ ମୃତକଳ୍ପ, ଅବା ଦୀନହୀନକୁ ଉଲଙ୍ଗ ଦେଖିଲେ, 
ଯଦି ତାହାର କଟିଦେଶ ମୋତେ ଆଶୀର୍ବାଦ କରି ନ ଥାଏ ଓ ସେ ମୋʼ ମେଷଲୋମରେ ଉଷ୍ଣ ହୋଇ ନ ଥାଏ; 
ମୁଁ ନଗର-ଦ୍ୱାରରେ ନିଜ ଉପକାରୀକୁ ଦେଖି ଯଦି ପିତୃହୀନ ବିରୁଦ୍ଧରେ ଆପଣା ହସ୍ତ ଉଠାଇଥାଏ; 
ତେବେ ମୋʼ ସ୍କନ୍ଧ ସନ୍ଧିସ୍ଥାନରୁ ଖସି ପଡ଼ୁ ଓ ମୋʼ ବାହୁ ଅସ୍ଥିରୁ ଭାଙ୍ଗିଯାଉ। 
କାରଣ ପରମେଶ୍ୱରଙ୍କଠାରୁ ବିପଦ ମୋʼ ପ୍ରତି ଭୟାନକ ଥିଲା ଓ ତାହାଙ୍କ ମହତ୍ତ୍ୱ ସକାଶୁ ମୁଁ କିଛି କରି ପାରିଲି ନାହିଁ। 
ଯଦି ମୁଁ ସୁବର୍ଣ୍ଣକୁ ଆଶାଭୂମି କରିଥାଏ ଓ ତୁମ୍ଭେ ମୋହର ଆଶ୍ରୟ ବୋଲି ଶୁଦ୍ଧ ସୁବର୍ଣ୍ଣକୁ କହିଥାଏ; 
ମୋହର ସମ୍ପଦ ଅତିଶୟ ହେବାରୁ ଓ ମୋହର ହସ୍ତ ବହୁତ ଲାଭ କରିବାରୁ ଯଦି ମୁଁ ଆନନ୍ଦ କରିଥାଏ; 
ସୂର୍ଯ୍ୟ ଦୀପ୍ତି ଦେବା ବେଳେ ଓ ଚନ୍ଦ୍ର ଜ୍ୟୋସ୍ନାରେ ଗତି କରିବା ବେଳେ ଯଦି ମୁଁ ତହିଁ ପ୍ରତି ଦୃଷ୍ଟି କରିଥାଏ; 
ପୁଣି, ମୋହର ଅନ୍ତଃକରଣ ଗୋପନରେ ପ୍ରଲୋଭିତ ହୋଇଥାଏ ଓ ମୋʼ ମୁଖ ମୋʼ ହସ୍ତକୁ ଚୁମ୍ବନ କରିଥାଏ; 
ତେବେ ତାହା ହିଁ ବିଚାରକର୍ତ୍ତୃଗଣ ଦ୍ୱାରା ଦଣ୍ଡନୀୟ ଅପରାଧ ହୁଅନ୍ତା; ପୁଣି, ମୁଁ ଊର୍ଦ୍ଧ୍ୱବାସୀ ପରମେଶ୍ୱରଙ୍କ ନିକଟରେ ମିଥ୍ୟାବାଦୀ ହୁଅନ୍ତି। 
ମୋʼ ଘୃଣାକାରୀର ବିନାଶରେ ଯଦି ମୁଁ ଆନନ୍ଦ କରିଥାଏ, ଅବା ଅମଙ୍ଗଳ ତାହାର ଉଦ୍ଦେଶ୍ୟ ପାଇବା ବେଳେ ଦର୍ପ କରିଥାଏ; 
(ମାତ୍ର ମୁଁ ଅଭିଶାପ ଦେଇ ତାହାର ଜୀବନ ମାଗିବା ନିମନ୍ତେ ପାପ କରିବାକୁ ଆପଣା ମୁଖ ଦେଇ ନାହିଁ); 
ମୋʼ ତମ୍ବୁସ୍ଥିତ ଲୋକେ କି କହି ନ ଥାʼନ୍ତି, ‘ତାହାର ଦତ୍ତ ମାଂସରେ ଯେ ତୃପ୍ତ ହୋଇ ନାହିଁ, ଏପରି ଜଣକୁ କିଏ ପାଇ ପାରେ?’ 
ବିଦେଶୀ ଦାଣ୍ଡରେ ରାତ୍ରି କ୍ଷେପଣ କଲା ନାହିଁ; ମାତ୍ର ମୁଁ ପଥିକ ନିମନ୍ତେ ଦ୍ୱାର ମୁକ୍ତ କଲି; 
ଯଦି ମୁଁ ଆପଣା ବକ୍ଷସ୍ଥଳରେ ନିଜ ଅଧର୍ମ ଗୁପ୍ତ କରିବା ଦ୍ୱାରା ଆଦମ ପରି ଆପଣା ଅପରାଧ ଢାଙ୍କିଥାଏ; 
ମହାଜନତାକୁ ଭୟ କରିବାରୁ ଓ ଗୋଷ୍ଠୀୟମାନଙ୍କ ତୁଚ୍ଛତା ମୋତେ ତ୍ରସ୍ତ କରିବାରୁ ଯଦି ମୁଁ ନୀରବ ହୋଇ ଦ୍ୱାର ବାହାରକୁ ଯାଇ ନ ଥାଏ - 
ଆଃ, କେହି ଯଦି ମୋʼ କଥା ଶୁଣିବାକୁ ଥାʼନ୍ତା! (ଏହି ଦେଖ ମୋହର ସ୍ୱାକ୍ଷର, ସର୍ବଶକ୍ତିମାନ ପରମେଶ୍ୱର ମୋତେ ଉତ୍ତର ଦେଉନ୍ତୁ), ଓ ମୋʼ ପ୍ରତିବାଦୀ ମୋହର ଯେଉଁ ଦୋଷପତ୍ର ଲେଖିଅଛି, ତାହା ଯଦି ମୁଁ ପାଆନ୍ତି! 
ତେବେ ନିଶ୍ଚୟ ମୁଁ ଆପଣା ସ୍କନ୍ଧରେ ତାହା ବହନ୍ତି ଓ ମୁକୁଟ ପରି ତାହା ବାନ୍ଧନ୍ତି। 
ମୁଁ ଆପଣା ପାଦଗତିର ସଂଖ୍ୟା ତାହାକୁ ଜଣାନ୍ତି; ଶାସକ ପରି ତାହାର ନିକଟକୁ ଯାଆନ୍ତି। 
ଯଦି ମୋʼ ଭୂମି ମୋʼ ପ୍ରତିକୂଳରେ କ୍ରନ୍ଦନ କରେ ଓ ତହିଁର ଲଙ୍ଗଳ-ଶିଆରସବୁ ଏକତ୍ର ରୋଦନ କରନ୍ତି; 
ଯଦି ମୁଁ ମୂଲ୍ୟ ବିନା ତହିଁର ଫଳ ଭୋଗ କରିଥାଏ, ଅବା ତହିଁର ଅଧିକାରୀମାନଙ୍କ ପ୍ରାଣନାଶର କାରଣ ହୋଇଥାଏ; 
ତେବେ ଗହମ ବଦଳେ କଣ୍ଟକଲତା ଓ ଯବ ବଦଳେ ବିଷବୃକ୍ଷ ବଢ଼ୁ।” ଆୟୁବଙ୍କ କଥା ସମାପ୍ତ ହେଲା। 
