﻿ଗୀତସଂହିତା.
25.
ଦାଉଦଙ୍କର ଗୀତ। ହେ ସଦାପ୍ରଭୋ, ମୁଁ ତୁମ୍ଭ ପ୍ରତି ଆପଣା ମନ ଉଠାଏ। 
ହେ ମୋହର ପରମେଶ୍ୱର, ମୁଁ ତୁମ୍ଭଠାରେ ଶରଣ ନିଏ, ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; ମୋହର ଶତ୍ରୁମାନେ ମୋʼ ଉପରେ ଉଲ୍ଲାସ ନ କରନ୍ତୁ। 
ହଁ, ଯେଉଁମାନେ ତୁମ୍ଭର ଅନୁସରଣ କରନ୍ତି, ସେମାନଙ୍କର କେହି ଲଜ୍ଜିତ ହେବେ ନାହିଁ; ଯେଉଁମାନେ ଅକାରଣରେ ବିଶ୍ୱାସଘାତକତା କରନ୍ତି, ସେମାନେ ଲଜ୍ଜିତ ହେବେ। 
ହେ ସଦାପ୍ରଭୋ, ତୁମ୍ଭର ପଥସବୁ ମୋତେ ଦେଖାଅ; ତୁମ୍ଭର ମାର୍ଗସବୁ ମୋତେ ଶିଖାଅ। 
ତୁମ୍ଭ ସତ୍ୟତାରେ ମୋତେ କଢ଼ାଇ ନିଅ ଓ ମୋତେ ଶିକ୍ଷା ଦିଅ; କାରଣ ତୁମ୍ଭେ ମୋʼ ପରିତ୍ରାଣର ପରମେଶ୍ୱର ଅଟ; ମୁଁ ସାରାଦିନ ତୁମ୍ଭର ଅନୁସରଣ କରେ। 
ହେ ସଦାପ୍ରଭୋ, ତୁମ୍ଭର ଦୟା ଓ ସ୍ନେହପୂର୍ଣ୍ଣ କରୁଣା ସ୍ମରଣ କର। କାରଣ ତାହା ଅନାଦିକାଳୀନ। 
ମୋʼ ଯୌବନ କାଳର ପାପ ଓ ଅଧର୍ମସବୁ ସ୍ମରଣ କର ନାହିଁ; ହେ ସଦାପ୍ରଭୋ, ତୁମ୍ଭେ ଆପଣାର ମଙ୍ଗଳଭାବ ସକାଶୁ ନିଜ ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋତେ ସ୍ମରଣ କର। 
ସଦାପ୍ରଭୁ ମଙ୍ଗଳମୟ ଓ ସରଳ ଅଟନ୍ତି; ଏହେତୁ ସେ ପାପୀମାନଙ୍କୁ ପଥ ବିଷୟରେ ଶିକ୍ଷା ଦେବେ। 
ସେ ନମ୍ର ଲୋକକୁ ବିଚାର ମାର୍ଗରେ କଢ଼ାଇ ନେବେ ଓ ନମ୍ର ଲୋକକୁ ଆପଣା ପଥ ଶିଖାଇବେ। 
ଯେଉଁମାନେ ତାହାଙ୍କ ନିୟମ ଓ ପ୍ରମାଣ-ବାକ୍ୟ ପାଳନ କରନ୍ତି, ସେମାନଙ୍କ ପ୍ରତି ସଦାପ୍ରଭୁଙ୍କର ସମସ୍ତ ପଥ ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତାବିଶିଷ୍ଟ। 
ହେ ସଦାପ୍ରଭୋ, ଆପଣା ନାମ ସକାଶୁ ମୋହର ଅପରାଧ କ୍ଷମା କର, କାରଣ ତାହା ବଡ଼। 
ସଦାପ୍ରଭୁଙ୍କୁ ଭୟ କରିବା ଲୋକ କିଏ? ସେ ତାହାକୁ ତାହାର ଇଷ୍ଟ ପଥରେ ଶିକ୍ଷା ଦେବେ। 
ତାହାର ପ୍ରାଣ କୁଶଳରେ ବାସ କରିବ ଓ ତାହାର ବଂଶ ଦେଶ ଅଧିକାର କରିବେ। 
ସଦାପ୍ରଭୁଙ୍କ ଗୁପ୍ତ ବିଷୟ ତାହାଙ୍କ ଭୟକାରୀମାନଙ୍କଠାରେ ଥାଏ; ଆଉ, ସେ ସେମାନଙ୍କ ପ୍ରତି ଆପଣା ନିୟମ ପ୍ରକାଶ କରିବେ। 
ସଦାବେଳେ ସଦାପ୍ରଭୁଙ୍କ ଆଡ଼େ ମୋହର ଦୃଷ୍ଟି ଥାଏ; କାରଣ ସେ ଜାଲରୁ ମୋହର ଚରଣ ଉଦ୍ଧାର କରିବେ। 
ମୋʼ ପ୍ରତି ଫେର ଓ ମୋʼ ପ୍ରତି ଦୟା କର; କାରଣ ମୁଁ ଅସହାୟ ଓ ଦୁଃଖଗ୍ରସ୍ତ ଅଟେ। 
ମୋʼ ଅନ୍ତଃକରଣର ଯନ୍ତ୍ରଣା ବଢ଼ିଅଛି; ତୁମ୍ଭେ ସମସ୍ତ କଷ୍ଟରୁ ମୋତେ ଉଦ୍ଧାର କର। 
ମୋହର କ୍ଳେଶ ଓ ଦୁଃଖ ପ୍ରତି ଦୃଷ୍ଟିପାତ କର; ପୁଣି, ମୋହର ପାପସବୁ କ୍ଷମା କର। 
ମୋହର ଶତ୍ରୁମାନଙ୍କ ପ୍ରତି ଦୃଷ୍ଟିପାତ କର, କାରଣ ସେମାନେ ଅନେକ; ସେମାନେ ଦାରୁଣ ଘୃଣା ଭାବରେ ମୋତେ ଘୃଣା କରନ୍ତି। 
ମୋʼ ପ୍ରାଣକୁ ରକ୍ଷା କର ଓ ମୋତେ ଉଦ୍ଧାର କର; ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ, କାରଣ ମୁଁ ତୁମ୍ଭଠାରେ ଶରଣ ନେଇଅଛି। 
ସିଦ୍ଧତା ଓ ସରଳତା ମୋତେ ରକ୍ଷା କରୁ, କାରଣ ମୁଁ ତୁମ୍ଭର ଅନୁସରଣ କରେ। 
ହେ ପରମେଶ୍ୱର, ଇସ୍ରାଏଲକୁ ତାହାର ସମସ୍ତ ତାହାର ସମସ୍ତ ସଙ୍କଟରୁ ମୁକ୍ତ କର। 
