﻿ଗୀତସଂହିତା.
62.
ପ୍ରଧାନ ବାଦ୍ୟକର ନିମନ୍ତେ ଯିଦୂଥୂନ୍‍‍ର ରୀତି ଅନୁସାରେ ଦାଉଦଙ୍କର ଗୀତ। ମୋହର ପ୍ରାଣ କେବଳ ପରମେଶ୍ୱରଙ୍କର ଅପେକ୍ଷା କରେ; ତାହାଙ୍କଠାରୁ ମୋହର ପରିତ୍ରାଣ ଆସେ। 
କେବଳ ସେ ମୋହର ଶୈଳ ଓ ପରିତ୍ରାଣ; ସେ ମୋହର ଉଚ୍ଚ ଦୁର୍ଗ; ମୁଁ ଅତିଶୟ ବିଚଳିତ ନୋହିବି। 
ନଇଁ ପଡ଼ିଥିବା କାନ୍ଥ ଓ ଟଳଟଳ ପ୍ରାଚୀର ତୁଲ୍ୟ ଜଣେ ମନୁଷ୍ୟକୁ ବଧ କରିବା ପାଇଁ ତୁମ୍ଭେ ସମସ୍ତେ କେତେ କାଳ ଲାଗିଥିବ? 
ସେମାନେ କେବଳ ତାହାର ଉଚ୍ଚ ପଦରୁ ତାହାକୁ ନିପାତ କରିବାକୁ ମନ୍ତ୍ରଣା କରନ୍ତି; ସେମାନେ ମିଥ୍ୟା କଥାରେ ସନ୍ତୁଷ୍ଟ; ସେମାନେ ମୁଖରେ ଆଶୀର୍ବାଦ କରନ୍ତି, ମାତ୍ର ଅନ୍ତରରେ ଅଭିଶାପ ଦିଅନ୍ତି। ସେଲା 
ହେ ମୋହର ପ୍ରାଣ, କେବଳ ପରମେଶ୍ୱରଙ୍କର ଅପେକ୍ଷା କର; କାରଣ ତାହାଙ୍କଠାରୁ ମୋହର ପ୍ରତ୍ୟାଶା ଜନ୍ମେ। 
କେବଳ ସେ ମୋହର ଶୈଳ ଓ ମୋହର ପରିତ୍ରାଣ; ସେ ମୋହର ଉଚ୍ଚ ଦୁର୍ଗ; ମୁଁ ବିଚଳିତ ନୋହିବି। 
ମୋହର ପରିତ୍ରାଣ ଓ ମୋହର ଗୌରବ ପରମେଶ୍ୱରଙ୍କଠାରେ ଅଛି; ମୋʼ ବଳର ଶୈଳ ଓ ମୋହର ଆଶ୍ରୟ ପରମେଶ୍ୱରଙ୍କଠାରେ ଅଛି। 
ହେ ଲୋକମାନେ, ସବୁବେଳେ ତାହାଙ୍କଠାରେ ନିର୍ଭର କର; ତାହାଙ୍କ ଛାମୁରେ ମନର ସବୁ କଥା ଭାଙ୍ଗି କୁହ; ପରମେଶ୍ୱର ଆମ୍ଭମାନଙ୍କ ନିମନ୍ତେ ଆଶ୍ରୟ। ସେଲା 
ନିଶ୍ଚୟ ସାମାନ୍ୟ ଲୋକେ ଅସାର ଓ ମାନ୍ୟ ଲୋକେ ମିଥ୍ୟା; ତୌଲରେ ସେମାନେ ଉପରକୁ ଉଠିବେ; ସେମାନେ ସମସ୍ତେ ଅସାରରୁ ଲଘୁ। 
ଦୌରାତ୍ମ୍ୟରେ ନିର୍ଭର ରଖ ନାହିଁ ଓ ଅପହରଣରେ ଦର୍ପୀ ହୁଅ ନାହିଁ; ଧନ ବଢ଼ିଲେ ତହିଁରେ ମନ ଦିଅ ନାହିଁ। 
ପରମେଶ୍ୱର ଥରେ କହିଅଛନ୍ତି, ଆମ୍ଭେ ଦୁଇ ଥର ଏହା ଶୁଣିଅଛୁ ଯେ, ପରାକ୍ରମ ପରମେଶ୍ୱରଙ୍କର ଅଟଇ। 
ଆହୁରି, ହେ ପ୍ରଭୋ; ତୁମ୍ଭଠାରେ ଦୟା ଥାଏ; କାରଣ ତୁମ୍ଭେ ପ୍ରତ୍ୟେକ ମନୁଷ୍ୟକୁ ତାହାର କର୍ମାନୁସାରେ ଫଳ ଦେଉଅଛ। 
