﻿ଲୂକ ଲିଖିତ ସୁସମାଚାର.
1.
ଆରମ୍ଭରୁ ଯେଉଁମାନେ ଚାକ୍ଷୁଷ ସାକ୍ଷୀ ଓ ବାକ୍ୟର ପରିଚାରକ, ସେମାନେ ଆମ୍ଭମାନଙ୍କୁ ସମର୍ପଣ କରିବା ଅନୁସାରେ, 
ଆମ୍ଭମାନଙ୍କ ମଧ୍ୟରେ ଘଟିଥିବା ଘଟଣାବଳୀର ବିବରଣ ଅନେକେ ଶୃଙ୍ଖଳିତ ରୂପେ ଲିପିବଦ୍ଧ କରିବାକୁ ଆଗ୍ରହ ପ୍ରକାଶ କରିଅଛନ୍ତି। 
ଅତଏବ, ହେ ମାନ୍ୟବର ଥୀୟଫିଲ, ଆରମ୍ଭରୁ ସମସ୍ତ ବିଷୟ ସୂକ୍ଷ୍ମ ରୂପେ ଅନୁସନ୍ଧାନ କରି ସେଥିର ଧାରାବାହିକ ବିବରଣ ଆପଣଙ୍କ ନିମନ୍ତେ ଲେଖିବାକୁ ମୁଁ ମଧ୍ୟ ଉଚିତ୍ ମନେ କଲି, 
ଯେପରି ଆପଣ ଯେ ସମସ୍ତ ବିଷୟ ଶିକ୍ଷା ପାଇଅଛନ୍ତି, ସେସବୁର ନିଶ୍ଚୟତା ଜାଣି ପାରନ୍ତି। 
ଯିହୂଦିୟା ପ୍ରଦେଶର ରାଜା ହେରୋଦଙ୍କ ସମୟରେ ଅବିୟଙ୍କ ଦଳର ଜିଖରୀୟ ନାମରେ ଜଣେ ଯାଜକ ଥିଲେ; ତାହାଙ୍କ ଭାର୍ଯ୍ୟା ହାରୋଣ ବଂଶର କନ୍ୟା, ତାହାଙ୍କର ନାମ ଏଲୀଶାବେଥ। 
ସେମାନେ ଉଭୟେ ପ୍ରଭୁଙ୍କର ସମସ୍ତ ଆଜ୍ଞା ଓ ନିୟମ ଅନୁସାରେ ନିର୍ଦ୍ଦୋଷ ରୂପେ ଆଚରଣ କରି ଈଶ୍ବରଙ୍କ ଦୃଷ୍ଟିରେ ଧାର୍ମିକ ଥିଲେ। 
କିନ୍ତୁ ସେମାନଙ୍କର ସନ୍ତାନ ନ ଥିଲା, କାରଣ ଏଲୀଶାବେଥ ବନ୍ଧ୍ୟା ଥିଲେ, ପୁଣି, ଉଭୟଙ୍କ ବୟସ ଅଧିକ ହୋଇଯାଇଥିଲା। 
ସେ ଆପଣା ଦଳର ପାଳି ଅନୁସାରେ ଈଶ୍ବରଙ୍କ ନିକଟରେ ଯାଜକ କାର୍ଯ୍ୟ କରୁଥିବା ସମୟରେ, 
ଯାଜକୀୟ କାର୍ଯ୍ୟର ରୀତି ଅନୁଯାୟୀ ଗୁଲିବାଣ୍ଟ ଦ୍ୱାରା ତାହାଙ୍କୁ ପ୍ରଭୁଙ୍କ ମନ୍ଦିରରେ ପ୍ରବେଶ କରି ଧୂପ ଦେବାକୁ ପଡ଼ିଲା, 
ଆଉ ଧୂପ ଦେବା ସମୟରେ ସମସ୍ତ ଜନତା ବାହାରେ ପ୍ରାର୍ଥନା କରୁଥିଲେ। 
ସେତେବେଳେ ପ୍ରଭୁଙ୍କର ଜଣେ ଦୂତ ଧୂପବେଦିର ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇ ତାହାଙ୍କୁ ଦର୍ଶନ ଦେଲେ। 
ଜିଖରୀୟ ତାହାଙ୍କୁ ଦେଖି ବିଚଳିତ ଓ ଭୟଗ୍ରସ୍ତ ହେଲେ। 
କିନ୍ତୁ ଦୂତ ତାହାଙ୍କୁ କହିଲେ, ଜିଖରୀୟ, ଭୟ କର ନାହିଁ, କାରଣ ତୁମ୍ଭର ନିବେଦନ ଶୁଣାଯାଇଅଛି, ଆଉ ତୁମ୍ଭର ଭାର୍ଯ୍ୟା ଏଲୀଶାବେଥ ତୁମ୍ଭ ନିମନ୍ତେ ଗୋଟିଏ ପୁତ୍ର ପ୍ରସବ କରିବେ, ପୁଣି, ତୁମ୍ଭେ ତାହାର ନାମ ଯୋହନ ଦେବ। 
ସେ ତୁମ୍ଭର ଆନନ୍ଦ ଓ ଉଲ୍ଲାସର କାରଣ ହେବ, ପୁଣି, ଅନେକେ ତାହାର ଜନ୍ମରେ ଆନନ୍ଦ କରିବେ। 
ଯେଣୁ ସେ ପ୍ରଭୁଙ୍କ ଛାମୁରେ ମହାନ ହେବ; ସେ ଦ୍ରାକ୍ଷାରସ କି ମଦ୍ୟ କେବେ ହେଁ ପାନ କରିବ ନାହିଁ, ପୁଣି, ମାତାର ଉଦରରୁ ହିଁ ପବିତ୍ର ଆତ୍ମାରେ ପୂର୍ଣ୍ଣ ହେବ, 
ଆଉ ସେ, ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରୁ ଅନେକଙ୍କୁ ପ୍ରଭୁ ସେମାନଙ୍କ ଈଶ୍ବରଙ୍କ ପ୍ରତି ଫେରାଇବ। 
ପିତାମାନଙ୍କ ହୃଦୟ ସନ୍ତାନମାନଙ୍କ ପ୍ରତି ଓ ଅବାଧ୍ୟମାନଙ୍କୁ ଧାର୍ମିକମାନଙ୍କ ଜ୍ଞାନରେ ଆଚରଣ କରିବା ନିମନ୍ତେ ଫେରାଇବାକୁ ଏବଂ ପ୍ରଭୁଙ୍କ ସକାଶେ ସୁସଜ୍ଜିତ ଗୋଟିଏ ପ୍ରଜାମଣ୍ଡଳୀ ପ୍ରସ୍ତୁତ କରିବାକୁ ସେ ଏଲୀୟଙ୍କ ଆତ୍ମା ଓ ଶକ୍ତିରେ ପ୍ରଭୁଙ୍କ ଆଗରେ ଗମନ କରିବ। 
ଏଥିରେ ଜିଖରୀୟ ଦୂତଙ୍କୁ କହିଲେ, ମୁଁ କେଉଁ ଚିହ୍ନ ଦ୍ୱାରା ଏହା ଜାଣିବି? କାରଣ ମୁଁ ତ ବୃଦ୍ଧ, ପୁଣି, ମୋହର ଭାର୍ଯ୍ୟାଙ୍କ ବୟସ ଅଧିକ ହେଲାଣି। 
ଦୂତ ତାହାଙ୍କୁ ଉତ୍ତର ଦେଲେ, ମୁଁ ଗାବ୍ରିଏଲ, ମୁଁ ଈଶ୍ବରଙ୍କ ଉପସ୍ଥିତିରେ ଠିଆ ହୁଏ, ଆଉ ତୁମ୍ଭକୁ କହିବାକୁ ଓ ଏହି ସୁସମାଚାର ଜଣାଇବାକୁ ମୁଁ ପଠାଯାଇଅଛି। 
ଦେଖ, ଏହି ସମସ୍ତ ନ ଘଟିବା ଦିନ ପର୍ଯ୍ୟନ୍ତ ତୁମ୍ଭେ ନୀରବ ରହି କଥା କହି ପାରିବ ନାହିଁ, କାରଣ ମୋହର ଯେଉଁ ସବୁ ବାକ୍ୟ ଯଥା ସମୟରେ ସଫଳ ହେବ, ସେହିସବୁ ତୁମ୍ଭେ ବିଶ୍ୱାସ କଲ ନାହିଁ। 
ଇତିମଧ୍ୟରେ ଲୋକମାନେ ଜିଖରୀୟଙ୍କ ଅପେକ୍ଷାରେ ଥିଲେ, ଆଉ ମନ୍ଦିରରେ ତାଙ୍କର ବିଳମ୍ବ ଘଟିବାରେ ସେମାନେ ଆଶ୍ଚର୍ଯ୍ୟ ହେଉଥିଲେ। 
କିନ୍ତୁ ସେ ବାହାରି ଆସି ସେମାନଙ୍କୁ କଥା କହି ପାରିଲେ ନାହିଁ; ଏଥିରେ ସେ ମନ୍ଦିରରେ ଦର୍ଶନ ପାଇଅଛନ୍ତି ବୋଲି ସେମାନେ ବୁଝିଲେ, ଆଉ ସେ ସେମାନଙ୍କୁ ସଙ୍କେତ କରିବାକୁ ଲାଗିଲେ ଓ ମୂକ ହୋଇ ରହିଲେ। 
ପରେ ତାହାଙ୍କ ସେବାପାଳିର ଦିନସବୁ ଶେଷ ହୁଅନ୍ତେ, ସେ ଆପଣା ଘରକୁ ଗଲେ। 
ଏଥିଉତ୍ତାରେ ତାହାଙ୍କ ଭାର୍ଯ୍ୟା ଏଲୀଶାବେଥ ଗର୍ଭବତୀ ହେଲେ, ଆଉ ସେ ପାଞ୍ଚ ମାସ ଗୋପନରେ ରହି କହିଲେ, 
ଲୋକମାନଙ୍କ ମଧ୍ୟରେ ମୋହର ଅପମାନ ଦୂର କରିବା ନିମନ୍ତେ ପ୍ରଭୁ କୃପାଦୃଷ୍ଟି କରି ମୋʼ ପ୍ରତି ଏପରି କରିଅଛନ୍ତି। 
ଏଲୀଶାବେଥଙ୍କ ଗର୍ଭର ଛଅ ମାସରେ ଗାବ୍ରିଏଲ ଦୂତ ଈଶ୍ବରଙ୍କ ନିକଟରୁ ଗାଲିଲୀର ନାଜରିତ ନାମକ ନଗରକୁ ଜଣେ କନ୍ୟା ନିକଟକୁ ପଠାଗଲେ; 
ଦାଉଦଙ୍କ ବଂଶର ଯୋଷେଫ ନାମକ ଜଣେ ପୁରୁଷଙ୍କ ସହିତ ତାହାଙ୍କର ବିବାହ ନିର୍ବନ୍ଧ ହୋଇଥିଲା; ସେହି କନ୍ୟାଙ୍କ ନାମ ମରୀୟମ। 
ସେ ଗୃହରେ ପ୍ରବେଶ କରି ତାହାଙ୍କ ନିକଟକୁ ଆସି କହିଲେ, ଆଗୋ ଅନୁଗ୍ରହପାତ୍ରୀ, ତୁମ୍ଭର ମଙ୍ଗଳ ହେଉ, ପ୍ରଭୁ ତୁମ୍ଭର ସହବର୍ତ୍ତୀ। 
କିନ୍ତୁ ସେ ଏହି ବାକ୍ୟରେ ଅତିଶୟ ବିଚଳିତ ହୋଇ ଏହା କି ପ୍ରକାର ବାକ୍ୟ ବୋଲି ମନରେ ବିଚାର କରିବାକୁ ଲାଗିଲେ। 
ସେଥିରେ ଦୂତ ତାହାଙ୍କୁ କହିଲେ, ଆଗୋ ମରୀୟମ, ଭୟ କର ନାହିଁ, କାରଣ ତୁମ୍ଭେ ଈଶ୍ବରଙ୍କ ଛାମୁରେ ଅନୁଗ୍ରହ ପାଇଅଛ। 
ଆଉ ଦେଖ, ତୁମ୍ଭେ ଗର୍ଭଧାରଣ କରି ଗୋଟିଏ ପୁତ୍ର ପ୍ରସବ କରିବ ଓ ତାହାଙ୍କ ନାମ ଯୀଶୁ ଦେବ। 
ସେ ମହାନ ହେବେ ଓ ମହାନ ଈଶ୍ବରଙ୍କ ପୁତ୍ର ବୋଲି ଖ୍ୟାତ ହେବେ; ପ୍ରଭୁ ଈଶ୍ବର ତାହାଙ୍କୁ ତାହାଙ୍କ ପିତା ଦାଉଦଙ୍କ ସିଂହାସନ ଦାନ କରିବେ, 
ସେ ଯାକୁବ ବଂଶ ଉପରେ ଯୁଗେ ଯୁଗେ ଶାସନ କରିବେ, ପୁଣି, ତାହାଙ୍କ ରାଜ୍ୟର ଶେଷ ହେବ ନାହିଁ। 
କିନ୍ତୁ ମରୀୟମ ଦୂତଙ୍କୁ କହିଲେ, ଏହା କିପରି ହେବ? ମୁଁ ତ ପୁରୁଷକୁ ଜାଣେ ନାହିଁ। 
ଦୂତ ତାହାଙ୍କୁ ଉତ୍ତର ଦେଲେ, ପବିତ୍ର ଆତ୍ମା ତୁମ୍ଭ ଉପରେ ଅବତରଣ କରିବେ ଓ ମହାନ ଈଶ୍ବରଙ୍କ ଶକ୍ତି ତୁମ୍ଭକୁ ଆବୋରିବ, ଏଣୁ ଯେ ଜାତ ହେବେ, ସେ ପବିତ୍ର ଓ ଈଶ୍ବରଙ୍କ ପୁତ୍ର ବୋଲି ଖ୍ୟାତ ହେବେ। 
ପୁଣି, ଦେଖ, ତୁମ୍ଭର ଆତ୍ମୀୟା ଏଲୀଶାବେଥ ମଧ୍ୟ ବୃଦ୍ଧା ବୟସରେ ଗୋଟିଏ ପୁତ୍ର ଗର୍ଭରେ ଧାରଣ କରିଅଛନ୍ତି। ଯେ ବନ୍ଧ୍ୟା ବୋଲି ଖ୍ୟାତ, ତାଙ୍କର ଏବେ ଛଅ ମାସ ହେଲାଣି; 
କାରଣ ଈଶ୍ବରଙ୍କଠାରୁ ନିର୍ଗତ କୌଣସି ବାକ୍ୟ ଶକ୍ତିହୀନ ହେବ ନାହିଁ। 
ଏଥିରେ ମରୀୟମ କହିଲେ, ଦେଖନ୍ତୁ, ମୁଁ ପ୍ରଭୁଙ୍କ ଦାସୀ; ଆପଣଙ୍କ ବାକ୍ୟାନୁସାରେ ମୋʼ ପ୍ରତି ଘଟୁ। ତାହା ପରେ ଦୂତ ତାହାଙ୍କ ନିକଟରୁ ପ୍ରସ୍ଥାନ କଲେ। 
ଏହି ସମୟରେ ମରୀୟମ ଉଠି ପାର୍ବତୀୟ ଅଞ୍ଚଳର ଯିହୂଦା ପ୍ରଦେଶର ଗୋଟିଏ ନଗରକୁ ଶୀଘ୍ର ଗଲେ, 
ପୁଣି, ଜିଖରୀୟଙ୍କ ଗୃହରେ ପ୍ରବେଶ କରି ଏଲୀଶାବେଥଙ୍କୁ ନମସ୍କାର କଲେ। 
ଆଉ, ଏଲୀଶାବେଥ ମରୀୟମଙ୍କ ନମସ୍କାର ଶୁଣିବାମାତ୍ରେ ଶିଶୁଟି ତାହାଙ୍କ ଗର୍ଭରେ ନାଚି ଉଠିଲା, ପୁଣି, ଏଲୀଶାବେଥ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ 
ଅତି ଉଚ୍ଚସ୍ୱରରେ କହିଲେ, ନାରୀମାନଙ୍କ ମଧ୍ୟରେ ତୁମ୍ଭେ ଧନ୍ୟ, ପୁଣି, ଧନ୍ୟ ତୁମ୍ଭର ଗର୍ଭର ଫଳ। 
ଆଉ, ମୋ ପ୍ରଭୁଙ୍କ ମାତା ଯେ ମୋʼ ନିକଟକୁ ଆସିବେ, ମୋହର ଏହି ସୌଭାଗ୍ୟ କେଉଁଠାରୁ ହେଲା? 
କାରଣ ଦେଖ, ତୁମ୍ଭ ସମ୍ଭାଷଣର ସ୍ୱର ମୋʼ କାନରେ ପ୍ରବେଶ କରିବା ମାତ୍ରେ ଶିଶୁଟି ମୋʼ ଗର୍ଭରେ ଉଲ୍ଲାସରେ ନାଚି ଉଠିଲା। 
ଯେ ବିଶ୍ୱାସ କଲେ, ସେ ଧନ୍ୟ, କାରଣ ପ୍ରଭୁଙ୍କଠାରୁ ତାହାଙ୍କୁ ଯାହା ଯାହା କୁହାଯାଇଅଛି, ସେହିସବୁ ସଫଳ ହେବ। 
ଏଥିରେ ମରୀୟମ କହିଲେ, “ମୋହର ପ୍ରାଣ ପ୍ରଭୁଙ୍କର ପ୍ରଶଂସା କରୁଅଛି, 
ପୁଣି, ମୋହର ଆତ୍ମା ମୋʼ ତ୍ରାଣକର୍ତ୍ତା ଈଶ୍ବରଙ୍କଠାରେ ଆନନ୍ଦିତ ହୋଇଅଛି; 
କାରଣ ସେ ଆପଣା ଦାସୀର ଦୀନାବସ୍ଥା ପ୍ରତି ଦୃଷ୍ଟିପାତ କରିଅଛନ୍ତି। ଆଉ ଦେଖ, ବର୍ତ୍ତମାନଠାରୁ ସମସ୍ତ ପିଢ଼ି ମୋତେ ଧନ୍ୟ ବୋଲି କହିବେ, 
କାରଣ ଯେ ଶକ୍ତିମାନ, ସେ ମୋʼ ପ୍ରତି ମହତ କର୍ମ କରିଅଛନ୍ତି; ତାହାଙ୍କର ନାମ ପବିତ୍ର, 
ଆଉ ତାହାଙ୍କ ଭୟକାରୀମାନଙ୍କ ପ୍ରତି ତାହାଙ୍କ ଦୟା ପୁରୁଷାନୁକ୍ରମେ ଥାଏ। 
ସେ ଆପଣା ବାହୁରେ ପରାକ୍ରମ ପ୍ରକାଶ କରିଅଛନ୍ତି, ଅହଙ୍କାରୀମାନଙ୍କୁ ସେମାନଙ୍କ ହୃଦୟର କଳ୍ପନାରେ ଛିନ୍ନଭିନ୍ନ କରିଅଛନ୍ତି; 
ସେ ଶାସନକର୍ତ୍ତାମାନଙ୍କୁ ସିଂହାସନରୁ ବାହାର କରିଅଛନ୍ତି, ଦୀନହୀନମାନଙ୍କୁ ଉଠାଇଅଛନ୍ତି, 
ସେ କ୍ଷୁଧିତମାନଙ୍କୁ ଉତ୍ତମ ଉତ୍ତମ ଦ୍ରବ୍ୟରେ ତୃପ୍ତ କରିଅଛନ୍ତି, ଧନୀମାନଙ୍କୁ ଶୂନ୍ୟ ହସ୍ତରେ ବିଦାୟ କରିଅଛନ୍ତି। 
ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ପ୍ରତି ଉକ୍ତ ତାହାଙ୍କର ବାକ୍ୟାନୁସାରେ, ସେ ଅବ୍ରହାମ ଓ ତାହାଙ୍କ ସନ୍ତାନମାନଙ୍କ ପ୍ରତି, 
ଯୁଗେ ଯୁଗେ ଦୟା ସ୍ମରଣ କରିବା ନିମନ୍ତେ ଆପଣଙ୍କ ଦାସ ଇସ୍ରାଏଲର ଉପକାର କରିଅଛନ୍ତି।” 
ଆଉ ମରୀୟମ ପ୍ରାୟ ତିନି ମାସ ତାହାଙ୍କ ସହିତ ରହି ଆପଣା ଗୃହକୁ ଫେରିଗଲେ। 
ପରେ ଏଲୀଶାବେଥଙ୍କ ପ୍ରସବ କାଳ ଉପସ୍ଥିତ ହୁଅନ୍ତେ ସେ ଗୋଟିଏ ପୁତ୍ର ପ୍ରସବ କଲେ, 
ଆଉ ପ୍ରଭୁ ଯେ ତାହାଙ୍କ ପ୍ରତି ମହା ଦୟା ପ୍ରକାଶ କରିଅଛନ୍ତି, ଏହା ଶୁଣି ତାହାଙ୍କ ପ୍ରତିବାସୀ ଓ ସମ୍ପର୍କୀୟମାନେ ତାହାଙ୍କ ସହିତ ଆନନ୍ଦ କରିବାକୁ ଲାଗିଲେ। 
ଆଠ ଦିନରେ ସେମାନେ ଶିଶୁକୁ ସୁନ୍ନତ କରିବାକୁ ଆସିଲେ ଓ ତାହାର ପିତାଙ୍କ ନାମ ଅନୁସାରେ ତାହାର ନାମ ଜିଖରୀୟ ଦେବାକୁ ଇଚ୍ଛା କଲେ। 
କିନ୍ତୁ ତାହାର ମାତା ଉତ୍ତର ଦେଲେ, ନାହିଁ, ତାହାର ନାମ ଯୋହନ ହେବ। 
ସେମାନେ ତାହାଙ୍କୁ କହିଲେ, ତୁମ୍ଭର ସମ୍ପର୍କୀୟମାନଙ୍କ ମଧ୍ୟରେ ତ କାହାର ଏହି ନାମ ନାହିଁ। 
ଏଥିରେ ତାହାକୁ କେଉଁ ନାମ ଦିଆଯିବ ବୋଲି ତାହାର ପିତା ଇଚ୍ଛା କରୁଅଛନ୍ତି, ତାହା ସଙ୍କେତ କରି ପଚାରିବାକୁ ଲାଗିଲେ। 
ତହିଁରେ ସେ ଖଣ୍ଡେ ଲିଖନ ପଟା ମାଗି ଏହା ଲେଖିଲେ, ତାହାର ନାମ ଯୋହନ। ଏଥିରେ ସମସ୍ତେ ଚକିତ ହେଲେ। 
ଆଉ ସେହିକ୍ଷଣି ତାହାଙ୍କ ମୁଖ ଓ ଜିହ୍ୱା ଫିଟିଗଲା ଏବଂ ସେ କଥା କହି ଈଶ୍ବରଙ୍କ ପ୍ରଶଂସା କରିବାକୁ ଲାଗିଲେ। 
ଏଥିରେ ସେମାନଙ୍କ ପ୍ରତିବାସୀ ସମସ୍ତେ ଭୟଗ୍ରସ୍ତ ହେଲେ, ଆଉ ଏହି ସମସ୍ତ କଥା ଯିହୂଦିୟା ପ୍ରଦେଶର ପାର୍ବତୀୟ ଅଞ୍ଚଳର ସବୁଆଡ଼େ ଲୋକେ କୁହାକହି ହେଲେ, 
ପୁଣି, ଶୁଣିବା ଲୋକ ସମସ୍ତେ ସେହିସବୁ ଆପଣା ଆପଣା ହୃଦୟରେ ରଖି କହିଲେ, ଏ ଶିଶୁଟି ତେବେ କଅଣ ହେବ? କାରଣ ପ୍ରଭୁଙ୍କ ହସ୍ତ ତାହାର ସହବର୍ତ୍ତୀ। 
ଆଉ, ତାହାର ପିତା ଜିଖରୀୟ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଏହି ଭାବବାଣୀ କହିଲେ, 
“ଧନ୍ୟ ପ୍ରଭୁ, ଇସ୍ରାଏଲର ଈଶ୍ବର, କାରଣ ସେ କୃପାଦୃଷ୍ଟି କରି, ଆପଣା ଲୋକଙ୍କ ନିମନ୍ତେ ମୁକ୍ତି ସାଧନ କରିଅଛନ୍ତି; 
ସେ ଆପଣା ଦାସ ଦାଉଦଙ୍କ ବଂଶରେ ଆମ୍ଭମାନଙ୍କ ନିମନ୍ତେ ପରିତ୍ରାଣର ଶୃଙ୍ଗ ଉଠାଇ, 
ପ୍ରାଚୀନକାଳରୁ ଆପଣା ପବିତ୍ର ଭାବବାଦୀମାନଙ୍କ ମୁଖ ଦ୍ୱାରା ଯେପରି କହିଥିଲେ, 
ସେପରି ଆମ୍ଭମାନଙ୍କ ଶତ୍ରୁମାନଙ୍କଠାରୁ ଓ ଆମ୍ଭମାନଙ୍କ ସମସ୍ତ ଘୃଣାକାରୀଙ୍କ ହସ୍ତରୁ ପରିତ୍ରାଣ ସାଧନ କରିଅଛନ୍ତି, 
ଯେପରି ସେ ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ପ୍ରତି ଦୟା ବ୍ୟବହାର କରନ୍ତି, 
ଆମ୍ଭମାନଙ୍କ ପିତା ଅବ୍ରହାମଙ୍କ ନିକଟରେ ଯେଉଁ ଶପଥ କରିଥିଲେ, ଆପଣାର ସେହି ପବିତ୍ର ନିୟମ ସ୍ମରଣ କରନ୍ତି, 
ପୁଣି, ଯେପରି ଶତ୍ରୁ ହସ୍ତରୁ ଉଦ୍ଧାର ପାଇ ନିର୍ଭୟରେ ଚିରକାଳ ତାହାଙ୍କ ଛାମୁରେ, 
ପବିତ୍ରତା ଓ ଧାର୍ମିକତାରେ ତାହାଙ୍କର ଉପାସନା କରିବା ନିମନ୍ତେ ଆମ୍ଭମାନଙ୍କୁ ଅନୁଗ୍ରହ କରନ୍ତି। 
ଆଉ ହେ ଶିଶୁ, ତୁ ପରାତ୍ପରଙ୍କ ଭାବବାଦୀ ବୋଲି ଖ୍ୟାତ ହେବୁ; 
କାରଣ ଅନ୍ଧକାର ଓ ମୃତ୍ୟୁଛାୟାରେ ବସିଥିବା ଲୋକଙ୍କୁ ଆଲୋକ ଦେବା ନିମନ୍ତେ, 
ପୁଣି, ଆମ୍ଭମାନଙ୍କ ପାଦ ଶାନ୍ତିପଥକୁ ଆଣିବା ନିମନ୍ତେ, ଆମ୍ଭମାନଙ୍କ ଈଶ୍ବରଙ୍କର ଯେଉଁ ସ୍ନେହପୂର୍ଣ୍ଣ କରୁଣା ହେତୁ, ସ୍ୱର୍ଗରୁ ଆମ୍ଭମାନଙ୍କ ପ୍ରତି ଊର୍ଦ୍ଧ୍ୱରୁ ସୂର୍ଯ୍ୟୋଦୟ ହେବ, 
ସେହି ସ୍ନେହପୂର୍ଣ୍ଣ କରୁଣା ହେତୁ ପ୍ରଭୁଙ୍କ ଲୋକମାନଙ୍କୁ ସେମାନଙ୍କ ପାପମୋଚନ ଦ୍ୱାରା ପରିତ୍ରାଣ ଜ୍ଞାନ ଦେବା ନିମନ୍ତେ ତୁ (ବାପ୍ତିଜକ ଯୋହନ) ତାହାଙ୍କ ପଥ ପ୍ରସ୍ତୁତ କରିବାକୁ ତାହାଙ୍କର ଅଗ୍ରଗାମୀ ହେବୁ।” 
ପୁଣି, ଶିଶୁ ବୃଦ୍ଧି ପାଇ ଆତ୍ମାରେ ଶକ୍ତିମାନ ହେବାକୁ ଲାଗିଲେ ଏବଂ ଇସ୍ରାଏଲ ନିକଟରେ ପ୍ରକାଶିତ ନ ହେବା ପର୍ଯ୍ୟନ୍ତ ପ୍ରାନ୍ତରରେ ରହିଲେ। 
