﻿ଯୋହନ.
8.
କିନ୍ତୁ ଯୀଶୁ ଜୀତପର୍ବତକୁ ଗଲେ। 
ତହିଁ ଆରଦିନ ପ୍ରତ୍ୟୁଷରେ ସେ ପୁନର୍ବାର ମନ୍ଦିରକୁ ଆସିଲେ, ପୁଣି, ସମସ୍ତ ଲୋକ ତାହାଙ୍କ ନିକଟକୁ ଆସନ୍ତେ, ସେ ଉପବେଶନ କରି ସେମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ। 
ଆଉ, ଶାସ୍ତ୍ରୀ ଓ ଫାରୂଶୀମାନେ ବ୍ୟଭିଚାର କର୍ମରେ ଧୃତା ଜଣେ ସ୍ତ୍ରୀଲୋକକୁ ଘେନିଆସି ତାହାକୁ ମଧ୍ୟସ୍ଥଳରେ ଠିଆ କରାଇ ତାହାଙ୍କୁ କହିଲେ, 
ହେ ଗୁରୁ, ଏହି ସ୍ତ୍ରୀଲୋକଟି ବ୍ୟଭିଚାର କର୍ମ କରୁଥିବା ସମୟରେ ଧରାପଡ଼ିଅଛି। 
ଏହିପରି ଲୋକମାନଙ୍କୁ ପଥର ଫୋପାଡ଼ି ମାରିବାକୁ ମୋଶା ଆମ୍ଭମାନଙ୍କୁ ବ୍ୟବସ୍ଥାରେ ଆଜ୍ଞା ଦେଇଅଛନ୍ତି; ତେବେ ଆପଣ କଅଣ କହୁଅଛନ୍ତି? 
ସେମାନେ ଯେପରି ତାହାଙ୍କ ବିରୁଦ୍ଧରେ ଅଭିଯୋଗର କାରଣ ପାଇ ପାରନ୍ତି, ଏଥିନିମନ୍ତେ ସେମାନେ ତାହାଙ୍କୁ ପରୀକ୍ଷା କରିବା ଉଦ୍ଦେଶ୍ୟରେ ଏହା କହିଲେ। କିନ୍ତୁ ଯୀଶୁ ଅଧୋମୁଖ ହୋଇ ଅଙ୍ଗୁଳି ଦ୍ୱାରା ଭୂମିରେ ଲେଖିବାକୁ ଲାଗିଲେ। 
ମାତ୍ର ସେମାନେ ତାହାଙ୍କୁ ପୁନଃ ପୁନଃ ପଚାରନ୍ତେ, ସେ ମସ୍ତକ ଉତ୍ତୋଳନ କରି ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ମଧ୍ୟରେ ଯେ ନିଷ୍ପାପ, ସେ ପ୍ରଥମରେ ତାହାକୁ ପଥର ଫୋପାଡ଼ୁ। 
ପୁନର୍ବାର ସେ ଅଧୋମୁଖ ହୋଇ ଭୂମିରେ ଲେଖିବାକୁ ଲାଗିଲେ। 
ତାହା ଶୁଣି ସେମାନେ ବଡ଼ଠାରୁ ଆରମ୍ଭ କରି ଜଣ ଜଣ ହୋଇ ବାହାରିଯିବାକୁ ଲାଗିଲେ, ଆଉ କେବଳ ଯୀଶୁ ଓ ମଧ୍ୟସ୍ଥଳରେ ସେହି ସ୍ତ୍ରୀଲୋକ ଅବଶିଷ୍ଟ ରହିଲେ। 
ପୁଣି, ଯୀଶୁ ମସ୍ତକ ଉତ୍ତୋଳନ କରି ତାହାକୁ କହିଲେ, ଗୋ ନାରୀ, ସେମାନେ କାହାନ୍ତି? କେହି କଅଣ ତୁମ୍ଭକୁ ଦଣ୍ଡନୀୟ ବୋଲି ବିଚାର କଲେ ନାହିଁ? 
ସେ କହିଲା, କେହି ନାହିଁ, ପ୍ରଭୁ। ସେଥିରେ ଯୀଶୁ କହିଲେ, ମୁଁ ମଧ୍ୟ ତୁମ୍ଭକୁ ଦଣ୍ଡନୀୟ ବୋଲି ବିଚାର କରୁ ନାହିଁ; ଯାଅ, ଆଜିଠାରୁ ଆଉ ପାପ କର ନାହିଁ। 
ଯୀଶୁ ପୁନର୍ବାର ଲୋକମାନଙ୍କୁ ଶିକ୍ଷା ଦେଇ କହିଲେ, “ମୁଁ ଜଗତର ଜ୍ୟୋତିଃ; ଯେ ମୋହର ଅନୁଗମନ କରେ, ସେ କେବେ ହେଁ ଅନ୍ଧକାରରେ ଭ୍ରମଣ କରିବ ନାହିଁ, ବରଂ ଜୀବନର ଜ୍ୟୋତିଃ ପାଇବ।” 
ସେଥିରେ ଫାରୂଶୀମାନେ ତାହାଙ୍କୁ କହିଲେ, ତୁମ୍ଭେ ନିଜ ବିଷୟରେ ସାକ୍ଷ୍ୟ ଦେଉଅଛ, ତୁମ୍ଭର ସାକ୍ଷ୍ୟ ସତ୍ୟ ନୁହେଁ। 
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୁଁ ଯଦି ନିଜ ବିଷୟରେ ସାକ୍ଷ୍ୟ ଦେଉଥାଏ, ତେବେ ସୁଦ୍ଧା ମୋହର ସାକ୍ଷ୍ୟ ସତ୍ୟ, କାରଣ ମୁଁ କେଉଁ ସ୍ଥାନରୁ ଆସିଅଛି ଓ କେଉଁ ସ୍ଥାନକୁ ଯାଉଅଛି, ତାହା ଜାଣେ, କିନ୍ତୁ ମୁଁ କେଉଁ ସ୍ଥାନରୁ ଆସେ କିମ୍ବା କେଉଁ ସ୍ଥାନକୁ ଯାଏ, ତାହା ତୁମ୍ଭେମାନେ ଜାଣ ନାହିଁ। 
ତୁମ୍ଭେମାନେ ମନୁଷ୍ୟ ଭାବରେ ବିଚାର କରିଥାଅ, ମୁଁ କାହାରି ବିଚାର କରେ ନାହିଁ। 
କିନ୍ତୁ ମୁଁ ଯଦି ବିଚାର କରେ, ତେବେ ସୁଦ୍ଧା ମୋହର ବିଚାର ଯଥାର୍ଥ; କାରଣ ମୁଁ ଏକାକୀ ନୁହେଁ, କିନ୍ତୁ ମୋହର ପ୍ରେରଣକର୍ତ୍ତା ମୋʼ ସାଙ୍ଗରେ ଅଛନ୍ତି। 
ପୁଣି, ଦୁଇ ଜଣଙ୍କର ସାକ୍ଷ୍ୟ ଯେ ସତ୍ୟ, ଏହା ତୁମ୍ଭମାନଙ୍କର ବ୍ୟବସ୍ଥାରେ ମଧ୍ୟ ଲେଖାଅଛି। 
ମୁଁ ନିଜେ ନିଜର ସାକ୍ଷୀ, ପୁଣି, ମୋହର ପ୍ରେରଣକର୍ତ୍ତା ପିତା ମୋʼ ବିଷୟରେ ସାକ୍ଷ୍ୟ ଦେଉଅଛନ୍ତି।” 
ସେଥିରେ ସେମାନେ ତାହାଙ୍କୁ ପଚାରିବାକୁ ଲାଗିଲେ, ତୁମ୍ଭର ପିତା କାହାନ୍ତି? ଯୀଶୁ ଉତ୍ତର ଦେଲେ, “ତୁମ୍ଭେମାନେ ମୋତେ ଜାଣ ନାହିଁ କିମ୍ବା ମୋହର ପିତାଙ୍କୁ ମଧ୍ୟ ଜାଣ ନାହିଁ; ଯଦି ମୋତେ ଜାଣିଥାଆନ୍ତ, ତେବେ ମୋହର ପିତାଙ୍କୁ ମଧ୍ୟ ଜାଣିଥାଆନ୍ତ।” 
ସେ ମନ୍ଦିର ମଧ୍ୟରେ ଶିକ୍ଷା ଦେଉଥିବା ସମୟରେ ଭଣ୍ଡାର ନିକଟରେ ଏହି ସମସ୍ତ କଥା କହିଲେ, କିନ୍ତୁ କେହି ତାହାଙ୍କୁ ଧରିଲେ ନାହିଁ, କାରଣ ତାହାଙ୍କର ନିଯୁକ୍ତ ସମୟ ସେପର୍ଯ୍ୟନ୍ତ ଉପସ୍ଥିତ ହୋଇ ନ ଥିଲା। 
ସେଥିରେ ସେ ପୁନର୍ବାର ସେମାନଙ୍କୁ କହିଲେ, “ମୁଁ ଯାଉଅଛି, ଆଉ ତୁମ୍ଭେମାନେ ମୋତେ ଖୋଜିବ ଓ ଆପଣା ଆପଣା ପାପରେ ମରିବ, ମୁଁ ଯେଉଁଠାକୁ ଯାଉଅଛି, ତୁମ୍ଭେମାନେ ସେଠାକୁ ଯାଇ ପାର ନାହିଁ।” 
ତେଣୁ ଯିହୁଦୀମାନେ କହିବାକୁ ଲାଗିଲେ, ଏ କଅଣ ଆତ୍ମହତ୍ୟା କରିବ ବୋଲି କହୁଅଛି, “ମୁଁ ଯେଉଁଠାକୁ ଯାଉଅଛି, ତୁମ୍ଭେମାନେ ସେଠାକୁ ଯାଇ ପାର ନାହିଁ?” 
ସେଥିରେ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଅଧଃସ୍ଥାନରୁ ଉତ୍ପନ୍ନ, ମୁଁ ଊର୍ଦ୍ଧ୍ୱସ୍ଥାନରୁ ଉତ୍ପନ୍ନ; ତୁମ୍ଭେମାନେ ଜଗତରୁ ଉତ୍ପନ୍ନ, ମୁଁ ଜଗତରୁ ଉତ୍ପନ୍ନ ନୁହେଁ।” 
ତେଣୁ ତୁମ୍ଭେମାନେ ଆପଣା ଆପଣା ପାପରେ ମରିବ, “ମୁଁ ତୁମ୍ଭମାନଙ୍କୁ ଏହା କହିଲି; କାରଣ ମୁଁ ଯେ ସେହି ବ୍ୟକ୍ତି, ଏହା ତୁମ୍ଭେମାନେ ବିଶ୍ୱାସ ନ କଲେ ଆପଣା ଆପଣା ପାପରେ ମରିବ।” 
ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତୁମ୍ଭେ କିଏ? ଯୀଶୁ ସେମାନଙ୍କୁ କହିଲେ, “ପ୍ରାରମ୍ଭରୁ ମୁଁ ତୁମ୍ଭମାନଙ୍କୁ ଯାହା କହିଅଛି। 
ତୁମ୍ଭମାନଙ୍କ ସମ୍ବନ୍ଧରେ କଥା କହିବାକୁ ଓ ବିଚାର କରିବାକୁ ମୋହର ଅନେକ ବିଷୟ ଅଛି; ଯାହା ହେଉ, ମୋହର ପ୍ରେରଣକର୍ତ୍ତା ସତ୍ୟ, ଆଉ ମୁଁ ତାହାଙ୍କଠାରୁ ଯାହା ଯାହା ଶ୍ରବଣ କଲି, ସେହିସବୁ ଜଗତକୁ ଜଣାଉଅଛି।” 
ସେ ଯେ ପିତାଙ୍କ ସମ୍ବନ୍ଧରେ ସେମାନଙ୍କୁ କହୁଥିଲେ, ଏହା ସେମାନେ ବୁଝିଲେ ନାହିଁ। 
ଅତଏବ, ଯୀଶୁ କହିଲେ, “ଯେତେବେଳେ ତୁମ୍ଭେମାନେ ମନୁଷ୍ୟପୁତ୍ରଙ୍କୁ ଗୌରବ ଦେବ, ସେତେବେଳେ ମୁଁ ଯେ ସେହି ବ୍ୟକ୍ତି ଓ ମୁଁ ନିଜରୁ କିଛି ନ କରି ବରଂ ପିତା ମୋତେ ଯେପ୍ରକାର ଶିକ୍ଷା ଦେଲେ, ସେହି ପ୍ରକାର ଏସମସ୍ତ କଥା ଯେ କହୁଅଛି, ଏହା ତୁମ୍ଭେମାନେ ବୁଝିବ। 
ମୋହର ପ୍ରେରଣକର୍ତ୍ତା ମୋʼ ସାଙ୍ଗରେ ଅଛନ୍ତି; ସେ ମୋତେ ଏକାକୀ କରି ନାହାନ୍ତି, କାରଣ ମୁଁ ସର୍ବଦା ତାହାଙ୍କର ସନ୍ତୋଷଜନକ କାର୍ଯ୍ୟ କରେ।” 
ସେ ଏହି ସମସ୍ତ କଥା କହନ୍ତେ, ଅନେକେ ଯୀଶୁଙ୍କଠାରେ ବିଶ୍ୱାସ କଲେ। 
ଅତଏବ, ଯୀଶୁ ତାହାଙ୍କୁ ବିଶ୍ୱାସ କରିଥିବା ଯିହୁଦୀମାନଙ୍କୁ କହିଲେ, “ଯଦି ତୁମ୍ଭେମାନେ ମୋହର ବାକ୍ୟରେ ସ୍ଥିର ହୋଇ ରହିବ, ତେବେ ତୁମ୍ଭେମାନେ ପ୍ରକୃତରେ ମୋହର ଶିଷ୍ୟ, 
ପୁଣି, ତୁମ୍ଭେମାନେ ସତ୍ୟ ଜ୍ଞାତ ହେବ ଓ ସେହି ସତ୍ୟ ତୁମ୍ଭମାନଙ୍କୁ ମୁକ୍ତ କରିବ।” 
ସେମାନେ ତାହାଙ୍କୁ ଉତ୍ତର ଦେଲେ, ଆମ୍ଭେମାନେ ଅବ୍ରହାମଙ୍କର ବଂଶ, ଆଉ କେବେ ହେଁ କାହାରି ଦାସ ହୋଇ ନାହୁଁ, ତେବେ ତୁମ୍ଭେମାନେ ମୁକ୍ତ ହେବ ବୋଲି ତୁମ୍ଭେ କିପରି କହୁଅଛ? 
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ପାପ କରେ, ସେ ପାପର ଦାସ। 
ଦାସ ଅନନ୍ତକାଳ ଗୃହରେ ରହେ ନାହିଁ, ପୁତ୍ର ଅନନ୍ତକାଳ ରହେ। 
ଅତଏବ, ପୁତ୍ର ଯଦି ତୁମ୍ଭମାନଙ୍କୁ ମୁକ୍ତ କରିବେ, ତାହାହେଲେ ତୁମ୍ଭେମାନେ ପ୍ରକୃତରେ ମୁକ୍ତ ହେବ। 
ତୁମ୍ଭେମାନେ ଯେ ଅବ୍ରହାମଙ୍କର ବଂଶ, ତାହା ମୁଁ ଜାଣେ; କିନ୍ତୁ ମୋହର ବାକ୍ୟ ତୁମ୍ଭମାନଙ୍କ ଅନ୍ତରରେ ସ୍ଥାନ ନ ପାଇବାରୁ ତୁମ୍ଭେମାନେ ମୋତେ ବଧ କରିବାକୁ ଚେଷ୍ଟା କରୁଅଛ। 
ମୁଁ ପିତାଙ୍କ ନିକଟରେ ଯାହା ଯାହା ଦେଖିଅଛି, ସେହିସବୁ କହୁଅଛି; ଅତଏବ, ତୁମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କ ପିତା ନିକଟରୁ ଯାହା ଯାହା ଶୁଣିଅଛ, ସେହିସବୁ କର।” 
ସେମାନେ ତାହାଙ୍କୁ ଉତ୍ତର ଦେଲେ, ଅବ୍ରହାମ ଆମ୍ଭମାନଙ୍କ ପିତା। ଯୀଶୁ ସେମାନଙ୍କୁ କହିଲେ, “ଯଦି ତୁମ୍ଭେମାନେ ଅବ୍ରହାମଙ୍କ ସନ୍ତାନ, ତେବେ ଅବ୍ରହାମଙ୍କ କର୍ମ କର; 
କିନ୍ତୁ ଯେ ଈଶ୍ବରଙ୍କଠାରୁ ଶୁଣିଥିବା ସତ୍ୟ ତୁମ୍ଭମାନଙ୍କୁ କହୁଅଛି, ଏପରି ଲୋକ ଯେ ମୁଁ, ମୋତେ ତୁମ୍ଭେମାନେ ଏବେ ବଧ କରିବାକୁ ଚେଷ୍ଟା କରୁଅଛ; ଅବ୍ରହାମ ଏପରି କର୍ମ କଲେ ନାହିଁ। 
ତୁମ୍ଭେମାନେ ତୁମ୍ଭମାନଙ୍କ ପିତାର କର୍ମସବୁ କରୁଅଛ।” ସେମାନେ ତାହାଙ୍କୁ କହିଲେ, ଆମ୍ଭେମାନେ ବ୍ୟଭିଚାରରୁ ଜାତ ହୋଇ ନାହୁଁ; ଆମ୍ଭମାନଙ୍କର ଏକମାତ୍ର ପିତା, ସେ ଈଶ୍ବର। 
ଯୀଶୁ ସେମାନଙ୍କୁ କହିଲେ, “ଈଶ୍ବର ଯଦି ତୁମ୍ଭମାନଙ୍କର ପିତା ହୋଇଥାଆନ୍ତେ, ତାହାହେଲେ ତୁମ୍ଭେମାନେ ମୋତେ ପ୍ରେମ କରନ୍ତ; କାରଣ ମୁଁ ଈଶ୍ବରଙ୍କଠାରୁ ଆସିଅଛି; ମୁଁ ନିଜଠାରୁ ଆସି ନାହିଁ, କିନ୍ତୁ ସେ ମୋତେ ପ୍ରେରଣ କଲେ।” 
ତୁମ୍ଭେମାନେ କାହିଁକି ମୋହର କଥା ବୁଝୁ ନାହଁ? ତୁମ୍ଭେମାନେ ତ ମୋହର ବାକ୍ୟ ଶୁଣି ପାରୁ ନାହଁ। 
ତୁମ୍ଭେମାନେ ତୁମ୍ଭମାନଙ୍କର ପିତା ଶୟତାନଠାରୁ ଉତ୍ପନ୍ନ, ଆଉ ତୁମ୍ଭମାନଙ୍କ ପିତାର କାମନା ସାଧନ କରିବା ତୁମ୍ଭମାନଙ୍କର ଇଚ୍ଛା। ସେ ଆଦ୍ୟରୁ ନରଘାତକ, ଆଉ ସେ ସତ୍ୟରେ ରହେ ନାହିଁ, କାରଣ ତାହାଠାରେ ସତ୍ୟ ନାହିଁ। ଯେତେବେଳେ ସେ ମିଥ୍ୟା କହେ, ସେତେବେଳେ ସେ ନିଜଠାରୁ କହେ; କାରଣ ସେ ମିଥ୍ୟାବାଦୀ ଓ ମିଥ୍ୟାବାଦୀର ପିତା। 
କିନ୍ତୁ ମୁଁ ସତ୍ୟ କହିଥିବାରୁ ତୁମ୍ଭେମାନେ ମୋତେ ବିଶ୍ୱାସ କରୁ ନାହଁ। 
ମୋʼ ଠାରେ ପାପ ଅଛି ବୋଲି ତୁମ୍ଭମାନଙ୍କ ମଧ୍ୟରୁ କିଏ ପ୍ରମାଣ ଦେଉଅଛି? ମୁଁ ଯେବେ ସତ୍ୟ କହେ, ତେବେ ତୁମ୍ଭେମାନେ କାହିଁକି ମୋତେ ବିଶ୍ୱାସ କରୁ ନାହଁ? 
ଯେ ଈଶ୍ବରଙ୍କଠାରୁ ଉତ୍ପନ୍ନ, ସେ ଈଶ୍ବରଙ୍କ ବାକ୍ୟ ଶୁଣେ; ଏହି ହେତୁ ତୁମ୍ଭେମାନେ ଶୁଣୁ ନାହଁ, କାରଣ ତୁମ୍ଭେମାନେ ଈଶ୍ବରଙ୍କଠାରୁ ଉତ୍ପନ୍ନ ନୁହଁ। 
ଯିହୁଦୀମାନେ ତାହାଙ୍କୁ ଉତ୍ତର ଦେଲେ, ତୁ ଯେ ଜଣେ ଶମିରୋଣୀୟ ଓ ତୋତେ ଯେ ଭୂତ ଲାଗିଅଛି, ଏହା କଅଣ ଆମ୍ଭେମାନେ ଠିକ୍ କହୁ ନାହୁଁ? 
ଯୀଶୁ ଉତ୍ତର ଦେଲେ, “ମୋତେ ଭୂତ ଲାଗି ନାହିଁ, କିନ୍ତୁ ମୁଁ ମୋହର ପିତାଙ୍କୁ ସମାଦର କରୁଅଛି, ଆଉ ତୁମ୍ଭେମାନେ ମୋତେ ଅନାଦର କରୁଅଛ। 
କିନ୍ତୁ ମୁଁ ନିଜର ଗୌରବ ଅନ୍ୱେଷଣ କରେ ନାହିଁ; ଯେ ଅନ୍ୱେଷଣ କରନ୍ତି ଓ ବିଚାର କରନ୍ତି, ଏପରି ଜଣେ ଅଛନ୍ତି। 
ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯଦି କେହି ମୋହର ବାକ୍ୟ ପାଳନ କରେ, ତାହାହେଲେ ସେ କଦାପି ମୃତ୍ୟୁ ଦର୍ଶନ କରିବ ନାହିଁ।” 
ଯିହୁଦୀ ଲୋକମାନେ ତାହାଙ୍କୁ କହିଲେ, ଏବେ ଆମ୍ଭେମାନେ ଜାଣିଲୁ ଯେ, ତୋତେ ଭୂତ ଲାଗିଅଛି, ଅବ୍ରହାମ ଓ ଭାବବାଦୀମାନେ ମୃତ୍ୟୁଭୋଗ କରିଅଛନ୍ତି, ଆଉ ତୁ କହୁଅଛୁ, ଯଦି କେହି ମୋହର ବାକ୍ୟ ପାଳନ କରେ, ତାହାହେଲେ ସେ କଦାପି ମୃତ୍ୟୁର ଆସ୍ୱାଦ ପାଇବ ନାହିଁ। 
ତୁ କଅଣ ଆମ୍ଭମାନଙ୍କ ପୂର୍ବପିତା ଅବ୍ରହାମଙ୍କ ଅପେକ୍ଷା ଶ୍ରେଷ୍ଠ? ସେ ତ ମୃତ୍ୟୁଭୋଗ କରିଅଛନ୍ତି, ଭାବବାଦୀମାନେ ମଧ୍ୟ ମୃତ୍ୟୁଭୋଗ କରିଅଛନ୍ତି; ତୁ ନିଜକୁ କିଏ ବୋଲି କହୁଅଛୁ? 
ଯୀଶୁ ଉତ୍ତର ଦେଲେ, “ମୁଁ ଯଦି ନିଜର ଗୌରବ କରୁଥାଏ, ତେବେ ମୋହର ଗୌରବ କିଛି ନୁହେଁ; ମୋହର ଯେଉଁ ପିତାଙ୍କୁ ତୁମ୍ଭେମାନେ ତୁମ୍ଭମାନଙ୍କ ଈଶ୍ବର ବୋଲି କହୁଅଛ, ସେ ମୋହର ଗୌରବ କରୁଅଛନ୍ତି; 
ଆଉ, ତୁମ୍ଭେମାନେ ତାହାଙ୍କୁ ଜାଣି ନାହଁ, କିନ୍ତୁ ମୁଁ ତାହାଙ୍କୁ ଜାଣେ। ପୁଣି, ମୁଁ ତାହାଙ୍କୁ ଜାଣେ ନାହିଁ ବୋଲି ଯଦି କହିବି, ତାହାହେଲେ ମୁଁ ତୁମ୍ଭମାନଙ୍କ ପରି ମିଥ୍ୟାବାଦୀ ହେବି, କିନ୍ତୁ ମୁଁ ତାହାଙ୍କୁ ଜାଣେ ଓ ତାହାଙ୍କର ବାକ୍ୟ ପାଳନ କରେ। 
ତୁମ୍ଭମାନଙ୍କର ପିତା ଅବ୍ରହାମ ମୋହର ଦିନ ଦେଖିବା ଆଶାରେ ଉଲ୍ଲାସ କଲେ, ଆଉ ସେ ତାହା ଦେଖି ଆନନ୍ଦ କଲେ।” 
ସେଥିରେ ଯିହୁଦୀମାନେ ତାହାଙ୍କୁ କହିଲେ, ତୁମ୍ଭକୁ ତ ଏଯାଏଁ ପଚାଶ ବର୍ଷ ବୟସ ହୋଇ ନାହିଁ, ତୁମ୍ଭେ କଅଣ ଅବ୍ରହାମଙ୍କୁ ଦେଖିଅଛ? 
ଯୀଶୁ ସେମାନଙ୍କୁ କହିଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅବ୍ରହାମଙ୍କ ଜନ୍ମ ପୂର୍ବରୁ ମୁଁ ଅଛି।” 
ସେଥିରେ ସେମାନେ ତାହାଙ୍କ ଉପରକୁ ଫୋପାଡ଼ିବା ନିମନ୍ତେ ପଥର ଉଠାଇଲେ, କିନ୍ତୁ ଯୀଶୁ ଗୋପନରେ ମନ୍ଦିରରୁ ବାହାରିଗଲେ। 
